ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଅକ୍ଷୟ ତୃତୀୟା ବ୍ରତ~ Akshyaya trutiya brata
ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ସହିତ କୃତ୍ତିକା ବା ରୋହିଣୀ ନକ୍ଷତ୍ରଯୁକ୍ତ ହେଲେ ମହାଫଳ ପ୍ରାପ୍ତିହୁଏ । ଏହାକୁ ବ୍ରତ ରୂପେ ପାଳନ କରାଯାଏ । ବ୍ରତୀମାନେ ଶୁଦ୍ଧକାଳରେ ଏହି ବ୍ରତକୁ ଆରମ୍ଭକରି ଆଠବର୍ଷରେ ଉଦ୍ଯାପନ କରନ୍ତି । ଏହିଦିନ ଜଳଦାନ କଲେ କି ପୁଣ୍ୟଫଳ ମିଳେ ସେ ସଂପର୍କରେ ଚମତ୍କାର ଉପାଖ୍ୟାନଟି ଏହିପରି- ପୁରାକାଳରେ ଜଣେ ପାପୀ ବ୍ରାହ୍ମଣ ଥିଲା । ସେ ତା’ ଜୀବନରେ କିଛି ଦାନ ଧର୍ମକାର୍ଯ୍ୟ କରି ନଥିଲା । ଥରେ ତା’ ଗୃହକୁ ଅନ୍ୟ ଜଣେ ତୃଷାର୍ତ୍ତ ବ୍ରାହ୍ମଣ ଆସି ଜଳଭିକ୍ଷା କଲା । ପାପୀ ବ୍ରାହ୍ମଣ ତାକୁ ଜଳ ନଦେଇ ନିଷ୍ଠୁର ଭାବେ ଗୃହରୁ ବିତାଡିତ କଲା ସମୟରେ ସୁଶିଳା ନାମ୍ନୀ ତା’ର ସ୍ତ୍ରୀ ଆସି ସ୍ୱାମୀକୁ ସେ କାର୍ଯ୍ୟରୁ ନିବୃତ୍ତ କଲା ଓ ତୃଷାର୍ତ୍ତକୁ ଜଳଦାନ କଲା । କିଛି ବର୍ଷ ପରେ ପାପୀ ବ୍ରାହ୍ମଣର ମୃତ୍ୟୁ ହେଲା । ଯମଦୂତମାନେ ଆସି ତାକୁ ବାନ୍ଧି ନେଇଗଲେ । ଯମପୁରୀରେ ଥାଇ ଥରେ ସେ ତୃଷାର୍ତ୍ତ ହୋଇ ଯମଦୂତଙ୍କୁ ଜଳଭିକ୍ଷା କଲା । ଯମଦୂତମାନେ ତାହାକୁ ତିରଷ୍କାର କରି କହିଲେ- ନିଜ ଜୀବନରେ କେବେ ଜଳଦାନ ନକରି ଜଳଭିକ୍ଷା କରୁଛୁ କିପରି, ପାପୀ ? ଏହି ସମୟରେ ସ୍ୱୟଂ ଯମରାଜ ସେଠାରେ ପହଞ୍ଚି ସ୍ୱହସ୍ତରେ ସେ ବ୍ରାହ୍ମଣକୁ ଜଳଦାନ କଲେ । ଦୂତମାନେ ଆଶ୍ଚର୍ଯ୍ୟ ହୋଇ ଏହାର କାରଣ ପଚାରିବାରୁ ଯମରାଜ କହିଲେ – ଏହି ବ୍ରାହ୍ମଣ ସାରା ଜୀବନ ପାପକର୍ମ କରିଥିଲେ ସୁଦ୍ଧା ଅକ୍ଷୟତୃତୀୟା ଦିନ ଏହାର ସ୍ତ୍ରୀ ତୃଷାର୍ତ୍ତ ବ୍ରାହ୍ମଣକୁ ଜଳଦାନ କରିଥିଲା । ସ୍ତ୍ରୀର ସେହି ପୁଣ୍ୟବଳରୁ ଏହାର ପାପ ଖଣ୍ଡନ ହୋଇଛି । ତେଣୁ ଏହାର ଆଉ ନର୍କଭୋଗ ଯୋଗ ନାହିଁ । ମହର୍ଷି ଜନକ ଭାରତୀୟ କୃଷିଜୀବୀ କୁଳର ପ୍ରତିନିଧି ରୂପେ ନିଜେ ଭୂମିପୂଜା କରି ବୀଜବପନ କରୁଥିଲେ । ଭୂମିକର୍ଷଣ ସମୟରେ ସେ ସୀତାଙ୍କୁ ଲାଭ କରିଥିବାରୁ ଋକ୍ ବେଦରେ ସୀତା ଉତ୍କୃଷ୍ଟ ବୀଜଦାତ୍ରୀ ରୂପେ ବର୍ଣ୍ଣିତ ହୋଇଛନ୍ତି । ବୈଦିକ ଋଷିମାନେ ଅକ୍ଷୟ ଶସ୍ୟ ପ୍ରଦାନ କରିବା କାମନାରେ ସୀତାଙ୍କୁ ସ୍ତୁତି କରିଛନ୍ତି । ଆଗ୍ନେୟ ପୁରାଣ, ବିଷ୍ଣୁ ଧର୍ମୋତ୍ତର ପୁରାଣ ଓ ଭବିଷ୍ୟ ପୁରାଣାଦିରେ ଅକ୍ଷୟ ତୃତୀୟାକୁ ଗୋଟିଏ ପ୍ରଶସ୍ତ ଶୁଭଦିନ ରୂପେ ବର୍ଣ୍ଣନା କରାଯାଉଛି ।
ଅକ୍ଷୟ ତୃତୀୟା ଗୀତ~Akshyaya trutiya gita
ଏହି ଦିନେ କାର୍ଯାରମ୍ଭ ଫଳ ନହୁଆଇ କ୍ଷୟ, ଆଗାମି ଦିନକୁ ଚାଷୀ ମାନଙ୍କର ଥାଏ ଲୟ । ୧
ବଇଶାଖ ଶୁକ୍ଳ ତୃତୀୟାରେ ଅକ୍ଷୟ ତୃତୀୟା, ଚାଷୀକୁଳ ସେହି ଦିନେ ଗଢିଥା’ନ୍ତି ମୂଳଦୁଆ । ୨
କୃଷକ ଦିନ ରୂପେ ହୋଇଥାଏ ସେ ପରିଚିତ, ସେହିଦିନ ଠାରୁ କର୍ମକ୍ଷେତ୍ର ହୋଇଯାଏ କ୍ଷେତ । ୩
ହଳଦୀ ଚନ୍ଦନ ସିନ୍ଦୁର ବିହନରେ ସେ ଶୁଭ , ମନେଥାଏ ଅମୃତ ବେଳା ତା’ ପାଇଁ ଅଟେ ଲାଭ । ୪
ନୂଆଗହୁଣୀ ରେ ବିହନ ହୋଇ ନଥାଏ କ୍ଷୁର୍ଣ୍ଣ, ଶଙ୍ଖନାଦ ହୁଳା ହୁଳିରେ ସ୍ଥାନ ଥାଏ ପୂରଣ । ୫
ନୂଆ ଟୁକେଇରେ ନେଇଥାନ୍ତି ପିଠାପଣା ପାଣି, କ୍ଷେତରେ ପୂଜା ପାଇଆସନ୍ତି ଲକ୍ଷ୍ମୀ ଠାକୁରାଣୀ । ୬
ପୂଜାଅନ୍ତେ ନୈବେଦ୍ୟ ପୁତନ୍ତି ଐଶାନ୍ୟ କୋଣେ, ବୋଲାଇ ହଳ ମୁଠା ମୁଠା ବିହନ କ୍ଷେତେ ବୁଣେ । ୭
ମୁଠାବିହନ “ଅକ୍ଷିମୁଠି” ଭାବେ ସେ ପରିଚିତ, କୃତିକା ବା ରୋହିଣୀ ନକ୍ଷତ୍ରଯୁଗେ ହୁଏ ବ୍ରତ । ୮
ଶୁଭ ଭାବି ଅନ୍ୟ ଶୁଭକାର୍ଯ କରନ୍ତି ଆଗ୍ରହେ, ଏହି ଦିନ ଶୁଭ ଗାଁ ପୁରହିତ ସବୁଠି କହେ। ୯
ଏଦିନେ ରଥ ନିର୍ମାଣ କାର୍ଯ ହୁଅଇ ଆରମ୍ଭ, ମହାକାଳୀ ତନ୍ତ୍ର ମନ୍ତ୍ର ବିଧିଯୋଗେ ହୁଏ ଶୁଭ । ୧୦
ପ୍ରାରମ୍ଭ ପାଇଁ ରହିଛି ବହୁ ଉପଚାର ବିଧି, ତନ୍ତ୍ର ମନ୍ତ୍ର ଯୋଗେ ବେଢି ରହିଥାଏ ସେ ପରିଧି । ୧୧
ଜିଊଙ୍କର ଚନ୍ଦନ ଯାତରା ରୂପେ ପରିଚିତ, ସତ୍ୟ ଯୋଗ ଆରମ୍ଭର ଦିନ ଶାସ୍ତ୍ର ଦିଏ ମତ । ୧୨
ସରବ କରମ ଆରମ୍ଭ ପାଇଁ ଅଟଇ ଶୁଭ , ଉତ୍ତମ ସମୟ ପ୍ରୟୁଗେ ସଦା ମିଳଇ ଲାଭ । ୧୩
ସମୟର ସଦା ହୋଇପାରୁ ସତ ବିନିଯୋଗ, ସତ ମାରଗେ ଚାଲ ଆଗରେ ଅଛି ସତ୍ୟଯୋଗ । ୧୪
ରଥନିର୍ମାଣର ଶୁଭାନୁକୂଳ ~ratha nirmaan shubhanukula
ଏହିତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହିକାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ ।
ଚନ୍ଦନ ଯାତ୍ରା~ Chandan Jatra
ଏହି ଦିନ ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଦିନର ବିଶେଷତ୍ୱ~ Dina ra bisheswata
◆ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରା ପାଇଁ ଉଦ୍ଧିଷ୍ଟ ରଥ ନିର୍ମାଣ ଆରମ୍ଭ
◆ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଚନ୍ଦନଯାତ୍ରାର ଶୁଭାରମ୍ଭ ଏହି ଦିନ ହୋଇଥାଏ
◆ବଳଦେବଜୀଉ ମନ୍ଦିରରେ କୃଷିର ଆରାଧ୍ୟ ଦେବ ହଳାୟୁଧ ବଳରାମଙ୍କର ରେବତୀଙ୍କ ସହ ବିବାହୋତ୍ସବ ଅନୁଷ୍ଠିତ ହୋଇଥାଏ
◆ପରଶୁରାମ ଓ ଜୟଦେବଙ୍କ ଜୟନ୍ତୀ
◆ବଦ୍ରୀନାଥ ଧାମ ଏହି ଦିନ ଖୋଲାଯାଇଥିବା ବିଧି ରହିଛି
◆ସତ୍ୟ ଯୁଗର ତ୍ରେତୟା ଯୁଗର ଆରମ୍ଭ ଏହି ଦିନ ଆରମ୍ଭ ହୋଇଥିଲା ।
◆ସମ୍ବଲପୁର ରେ ଶୀତଳଶଷ୍ଠୀ ଯାତ୍ରାର ଶୁଭାରମ୍ଭ (ଥାଳ ଉଠା ବିଧି)
~ଆଧାର-ବିକିପେଡ଼ିଆ, https://swabhimaniodia.wordpress.com/